ଭୁବନେଶ୍ୱର :-
ଆସନ୍ତା ୪୮ ଘଂଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା । ସ୍ଥାନେ ସ୍ଥାନେ ଘଂଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ତୁହାକୁ ତୁହା ବର୍ଷା ହେବା ନେଇ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ କେନ୍ଦ୍ର ଆକଳନ ଅନୁଯାୟୀ ୨୨ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଅର୍ଧାଧିକ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାରେ ସମ୍ଭାବନା ରହିଛି ।ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଂଜ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ୫୦ କିମି ବେଗରେ ପବନ ବହିପାରେ । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବରଗଡ଼, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱରରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ପରବର୍ତୀ ୨୪ ଘଂଟା ମଧ୍ୟରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ କାଳବୈଶାଖୀ ହୋଇପାରେ ।ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ଘଂଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ଅଧିକ ରହିଛି । ୨୩ ତାରିଖ ବେଳକୁ ପାଗରେ ସାମାନ୍ୟ ପରିବର୍ତନ ଆସିବ । ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ଭୁବନେଶ୍ୱର ରୁ ସ୍ଵର୍ଣ୍ଣ ପ୍ରଭା ନାୟକ ଙ୍କ ରିପୋର୍ଟ