ବଲାଙ୍ଗିର :-
ବଲାଙ୍ଗିର ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ଅକ୍ଟୋବର ୩୧ ତାରିଖ ଠାରୁ ଆରମ୍ଭ ହୋଇ ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ଆଜି ପୂର୍ବାହ୍ନ ରେ ଜିଲ୍ଲା ପ୍ରଶାସନ ଓ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ସ୍ଥାନୀୟ ପତିତ ପାବନ ଏକାଡେମି ହଲ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷର ବାର୍ତ୍ତା ହେଉଛି “ ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ “ । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜନସାଧାରଣ ନିଜର ଦାୟିତ୍ଵ ,କର୍ତ୍ତ୍ୟବ୍ୟ ଓ ଅଧିକାର ପ୍ରତି ସଚେତନ ହେଲେ ଦୁର୍ନୀତି କୁ ରୋକାଯାଇ ପାରିବ ଏବଂ ପ୍ରତ୍ୟେକ ସ୍ତରରେ ଏ ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ଵାରୋପ କରିଥିଲେ । ସଭାରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ ସମ୍ମନିତ ଅତିଥି ଭାବେ ଯୋଗଦେଇ ସମାଜରୁ ଦୁର୍ନୀତି ରୋକିବାକୁ ହେଲେ ବ୍ୟାପକ ଜନସଚେତନତା ସହ ମାନସିକତା ରେ ପରିବର୍ତ୍ତନ ଆଣିବା ଆବଶ୍ୟକ ବୋଲି ପ୍ରକାଶ କରିଥିଲେ । ଡ଼ି.ଏସ.ପି ଭିଜିଲାନ୍ସ ,ବଲାଙ୍ଗିର ପୁଲସ୍ତି ଛତ୍ରିଆ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ର ତାତ୍ପର୍ଜ୍ୟ ସମ୍ପର୍କରେ ସୂଚନା ଦେବା ସହ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ପକ୍ଷରୁ ଦୁର୍ନୀତି ନିବାରଣ ସକାଶେ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ । ସୂଚନା ଯୋଗ୍ୟ ଯେ ଦୁର୍ନୀତି ନିବାରଣ ବିଭାଗ, ବଲାଙ୍ଗିର ଶାଖା ରାଜ୍ୟ ସ୍ତରରେ ଶ୍ରେଷ୍ଠ ବିବେଚିତ ହୋଇ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ରାଜ୍ୟ ସ୍ତରୀୟ ସମାରୋହରେ ପୁରସ୍କୃତ ହୋଇଛି । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ -୨୦୨୨ ପାଳନ ଉପଲକ୍ଷେ ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ସ୍ତରରେ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଏହି ପ୍ରତିଯୋଗିତା ପ୍ରଥମେ ବ୍ଲକ ଓ ମ୍ୟୁନିସିପାଲିଟି ତଥା ଏନ.ଏ.ସି ସ୍ତରରେ କରାଯାଇ ଶ୍ରେଷ୍ଠ ବିବେଚିତ ପ୍ରତିଯୋଗୀମାନେ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ରେ ଭାଗ ନେଇଥିଲେ । “ ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତି ମୁକ୍ତ ଭାରତ “ ଶୀର୍ଷକ ବିଷୟବସ୍ତୁ ଉପରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଓଡିଆ ଏବଂ ଇଂରାଜୀ ଭାଷା ରେ ବକ୍ତୃତା ଓ ପ୍ରବନ୍ଧ ଲିଖନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଆଜି ଅନୁଷ୍ଠିତ ସଚେତନତା ସଭା ରେ ଅତିଥିମାନେ ପୁରସ୍କାର ଓ ମାନପତ୍ର ପ୍ରଦାନ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜୟଦେବ ପାଣିଗ୍ରାହୀ ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଅନୁଷ୍ଠିତ ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେବା ସହ ସଭା ସଂଯୋଜନା କରିଥିଲେ । ପତିତ ପାବନ ଏକାଡେମି ର ପ୍ରଧାନ ଶିକ୍ଷକ ସିନୁ ସୁନ୍ଦର ପାଢୀ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ନାଗରିକ କମିଟି ,ବରିଷ୍ଠ ନାଗରିକ ଫୋରମ ର କର୍ମକର୍ତ୍ତା ,ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟ ର ଛାତ୍ରଛାତ୍ରୀ ,ଶିକ୍ଷକ ଶିକ୍ଷୟତ୍ରୀ , ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ସରକାରୀ ଅଧିକାରୀ ଙ୍କ ସମେତ ଦୁର୍ନୀତି ନିବାରଣ ବିଭାଗ ବଲାଙ୍ଗିର ଶାଖା ର କର୍ମଚାରୀ ମାନେ ଯୋଗଦେଇଥିଲେ ।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍

