ଝାରସୁଗୁଡ଼ା :
ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ୧୬ତମ ଜାତୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ଜିଲ୍ଲାପାଳ ଶ୍ରୀ କୁଣାଲ ମୋତିରାମ ଚହ୍ବାଣ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ଭୋଟରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ପୁରୁଣା ବସ୍ ଷ୍ଟାଣ୍ଡ ସ୍ଥିତ ଗାନ୍ଧୀ ଛକରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ବିଶାଳ ୱାକାଥନ୍ ବା ପଦଯାତ୍ରା ଅନୁଷ୍ଠିତ ହୋଇଥିଲା। ଏହି ରାଲିରେ ବିଭିନ୍ନ ମହାବିଦ୍ୟାଳୟର ପ୍ରାୟ ୪୫୦ ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରି ସାଧାରଣ ଜନତାଙ୍କୁ ମତଦାନର ଗୁରୁତ୍ୱ ବିଷୟରେ ଅବଗତ କରାଇଥିଲେ। କାର୍ଯ୍ୟକ୍ରମକୁ ଅଧିକ ଜନକଲ୍ୟାଣମୁଖୀ କରିବା ପାଇଁ ପାରମ୍ପରିକ ପାଲା ଓ ପଥପ୍ରାନ୍ତ ନାଟକ ମାଧ୍ୟମରେ ସଚେତନତା ବାର୍ତ୍ତା ପ୍ରଦାନ କରାଯିବା ସହ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତା ଏବଂ ସମୂହ ଶପଥ ପାଠ କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା।
ଭାରତୀୟ ଗଣତନ୍ତ୍ରକୁ ସୁଦୃଢ଼ କରିବା ଏବଂ ଭୋଟରମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାର ବରିଷ୍ଠ ପଦାଧିକାରୀ ଓ ଶତାଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ।
ଏହି ସମାରୋହରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ଵ ରଞ୍ଜନ ନାୟକ, ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ଶ୍ରୀ ବ୍ରଜବନ୍ଧୁ ଭୋଇ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ବ) ଶ୍ରୀ କିଶୋର ଚନ୍ଦ୍ର ସ୍ୱାଇଁ, ଉପ ଜିଲ୍ଲାପାଳ ଶ୍ରୀ ସବ୍ୟସାଚୀ ପଣ୍ଡା ଏବଂ ଡେପୁଟି କଲେକ୍ଟର (ନିର୍ବାଚନ) ଶ୍ରୀମତୀ ଲୋପାମୁଦ୍ରା କାଲୋ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମର ନେତୃତ୍ୱ ନେଇଥିଲେ। ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ସୁନନ୍ଦ ମହାରଣା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।
ଉତ୍ସବର ଅନ୍ତିମ ପର୍ଯ୍ୟାୟରେ ବିଭିନ୍ନ କଲେଜ ସ୍ତରୀୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଏହା ସହିତ ନିଜ ନିଜ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପ୍ରଦର୍ଶନ କରିଥିବା ଶ୍ରେଷ୍ଠ ବି.ଏଲ.ଓ, ବି.ଏଲ.ଓ ସୁପରଭାଇଜର ଏବଂ ଏ.ଇ.ଆର.ଓ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଥିଲା। ଏହି ଅବସରରେ ନୂତନ ଭୋଟରମାନଙ୍କୁ ସ୍ୱତନ୍ତ୍ର ଭାବେ ସ୍ୱାଗତ କରାଯାଇ ସେମାନଙ୍କୁ ନୂତନ ଭୋଟର ପରିଚୟ ପତ୍ର ପ୍ରଦାନ କରାଯାଇଥିଲା।

